|
| 1 |
|
| ଅନନ୍ତର ଆଦମ ଆପଣା ଭାର୍ଯ୍ୟା ହବାଙ୍କର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ କୟିନ (ଅର୍ଥାତ୍ ଲାଭ) ନାମକ ଗୋଟିଏ ପୁତ୍ର ପ୍ରସବ କରି କହିଲେ, ସଦାପ୍ରଭୁଙ୍କ ସାହାଯ୍ୟରେ ମୋହର ଏକ ନର ଲାଭ ହୋଇଅଛି । |
|
| 2 |
|
| ଏଥିଉତ୍ତାରୁ ସେ ହେବଲ (ଅର୍ଥାତ୍ ଅସ୍ଥାୟୀ) ନାମକ ତାହାର ସହୋଦରକୁ ପ୍ରସବ କଲେ । ହେବଲ ମେଷପାଳକ ଓ କୟିନ କୃଷକ ଥିଲେ । |
|
| 3 |
|
| ସମୟାନୁକ୍ରମେ କୟିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମ୍ୟୁତ୍ପନ୍ନ ଫଳ ଆଣି ଉତ୍ସର୍ଗ କଲେ । |
|
| 4 |
|
| ଆଉ ହେବଲ ମଧ୍ୟ ନିଜ ପଲର ପ୍ରଥମଜାତ କେତେକ ପଶୁ ଓ ସେମାନଙ୍କ ମେଦ ଉତ୍ସର୍ଗ କଲେ । ସଦାପ୍ରଭୁ ହେବଲଙ୍କୁ ଓ ତାଙ୍କର ନୈବେଦ୍ୟକୁ ଗ୍ରାହ୍ୟ କଲେ । |
|
| 5 |
|
| ମାତ୍ର କୟିନଙ୍କୁ ଓ ତାଙ୍କର ନୈବେଦ୍ୟକୁ ସେ ଅଗ୍ରାହ୍ୟ କଲେ । ଏହେତୁ କୟିନ ଅତି କ୍ରୋଧ କରି ଅଧୋମୁଖ ହେଲେ । |
|
| 6 |
|
| ତହିଁରେ ସଦାପ୍ରଭୁ କୟିନଙ୍କୁ କହିଲେ, ତୁମ୍ଭେ କାହିଁକି କ୍ରୋଧ କରୁଅଛ? ଆଉ କାହିଁକି ଅଧୋମୁଖ ହେଉଅଛ? |
|
| 7 |
|
| ସତ୍କର୍ମ କଲେ, କି ତୁମ୍ଭେ ଊର୍ଦ୍ଧ୍ଵମୁଖ ହେବ ନାହିଁ? ସତ୍କର୍ମ ନ କଲେ, ପାପ ଦ୍ଵାରରେ ଛକିଥାଏ; ତୁମ୍ଭ ପ୍ରତି ତାହାର ବାସନା ରହିବ, ମାତ୍ର ତୁମ୍ଭେ ତାହା ଉପରେ କର୍ତ୍ତୃତ୍ଵ କରିବ । |
|
| 8 |
|
| ଅନନ୍ତର କୟିନ ଆପଣା ଭାଇ ହେବଲ ସହିତ କଥାବାର୍ତ୍ତା କଲେ । ତହୁଁ ସେମାନେ କ୍ଷେତରେ ଥିବା ବେଳେ କୟିନ ଆପଣା ଭାଇ ହେବଲଙ୍କୁ ଆକ୍ରମଣ କରି ବଧ କଲେ । |
|
| 9 |
|
| ଅନନ୍ତର ସଦାପ୍ରଭୁ କୟିନଙ୍କୁ ପଚାରିଲେ, ତୁମ୍ଭ ଭାଇ ହେବଲ କେଉଁଠାରେ? ସେ କହିଲେ, ମୁଁ ଜାଣେ ନାହିଁ, ମୁଁ କʼଣ ମୋʼ ଭାଇର ରକ୍ଷକ? |
|
| 10 |
|
| ସେ କହିଲେ, ତୁମ୍ଭେ କଅଣ କରିଅଛ? ତୁମ୍ଭ ଭାଇର ରକ୍ତ ଭୂମିରୁ ଆମ୍ଭ ପ୍ରତି ଡାକ ପକାଉଅଛି । |
|
| 11 |
|
| ଏ ନିମନ୍ତେ ଯେଉଁ ଭୂମି ତୁମ୍ଭ ହସ୍ତରୁ ତୁମ୍ଭ ଭାଇର ରକ୍ତ ଗ୍ରହଣାର୍ଥେ ଆପଣା ମୁଖ ମୁକ୍ତ କରିଅଛି, ସେହି ଭୂମିରେ ଏବେ ତୁମ୍ଭେ ଶାପଗ୍ରସ୍ତ ହେଲ; |
|
| 12 |
|
| ଭୂମିରେ କୃଷିକର୍ମ କଲେ ହେଁ ତାହା ଆପଣା ଶକ୍ତି ଦେଇ ଆଉ ତୁମ୍ଭର ସେବା କରିବ ନାହିଁ; ତୁମ୍ଭେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେବ । |
|
| 13 |
|
| କୟିନ ସଦାପ୍ରଭୁଙ୍କୁ କହିଲେ, ମୋହର ଦଣ୍ତ ଅସହ୍ୟ । |
|
| 14 |
|
| ଦେଖ, ତୁମ୍ଭେ ଆଜି ମୋତେ ଏ ସ୍ଥାନରୁ ତଡ଼ିଦେଲ, ତହିଁରେ ତୁମ୍ଭ ସମ୍ମୁଖରୁ ମୁଁ ଗୁପ୍ତ ହେବି; ଏହି ରୂପେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେଲେ ଏପରି ହେବ ଯେ, କୌଣସି ଲୋକ ମୋତେ ପାଇଲେ ବଧ କରିବ । |
|
| 15 |
|
| ଆଉ ସଦାପ୍ରଭୁ ତାଙ୍କୁ କହିଲେ, ଏହେତୁ କେହି କୟିନଙ୍କୁ ବଧ କଲେ, ତାହାର ସାତଗୁଣ ଦଣ୍ତ ହେବ । ପୁଣି କେହି ତାଙ୍କୁ ଦେଖି ଯେପରି ବଧ ନ କରଇ, ଏଥିପାଇଁ ସଦାପ୍ରଭୁ କୟିନଙ୍କ ନିମନ୍ତେ ଏକ ଚିହ୍ନ ନିରୂପଣ କଲେ । |
|
| 16 |
|
| ଅନନ୍ତର କୟିନ ସଦାପ୍ରଭୁଙ୍କ ସମ୍ମୁଖରୁ ପ୍ରସ୍ଥାନ କରି ଏଦନର ପୂର୍ବଦିଗସ୍ଥ ନୋଦ ନାମକ ଦେଶରେ ବାସ କଲେ । |
|
| 17 |
|
| ଆଉ କୟିନ ଆପଣା ଭାର୍ଯ୍ୟାର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ ହନୋକକୁ ପ୍ରସବ କଲେ; ପୁଣି ସେ ଏକ ନଗର ନିର୍ମାଣ କରି ଆପଣା ପୁତ୍ରର ନାମାନୁସାରେ ତହିଁର ନାମ ହନୋକ ଦେଲେ । |
|
| 18 |
|
| ସେହି ହନୋକର ପୁତ୍ର ଈରଦ ଓ ଈରଦର ପୁତ୍ର ମହୁୟାୟେଲ ଓ ମହୁୟାୟେଲର ପୁତ୍ର ମଥୁଶାୟେଲ ଓ ମଥୁଶାୟେଲର ପୁତ୍ର ଲେମକ । |
|
| 19 |
|
| ଏହି ଲେମକ ଦୁଇ ସ୍ତ୍ରୀ ବିବାହ କଲେ, ଏକର ନାମ ଆଦା ଓ ଅନ୍ୟର ନାମ ସିଲ୍ଲା ଥିଲା । |
|
| 20 |
|
| ଆଦାର ଗର୍ଭରେ ଜାବଳ ଜନ୍ମିଲା, ସେ ତମ୍ଵୁନିବାସୀ ପଶୁପାଳକମାନଙ୍କର ଆଦିପୁରୁଷ ଥିଲା । |
|
| 21 |
|
| ତାହାର ଭାଇର ନାମ ଯୁବଳ, ସେ ବୀଣା ଓ ବଂଶୀବାଦକମାନଙ୍କର ଆଦିପୁରୁଷ ଥିଲା । |
|
| 22 |
|
| ସିଲ୍ଲାର ଗର୍ଭରେ ତୁବଲ-କୟିନ ଜନ୍ମିଲା, ସେ ପିତ୍ତଳ ଓ ଲୌହର ନାନା ପ୍ରକାର ଅସ୍ତ୍ର ନିର୍ମାଣକାରୀ ଥିଲା; ତୁବଲ-କୟିନର ନୟମା ନାମ୍ନୀ ଏକ ଭଗ୍ନୀ ଥିଲା । |
|
| 23 |
|
| ଅନନ୍ତର ଲେମକ ଆପଣା ଭାର୍ଯ୍ୟାମାନଙ୍କୁ କହିଲେ, ଆଗୋ ଆଦା ଓ ସିଲ୍ଲା, ମୋʼ କଥା ଶୁଣ; ଆଗୋ ଲେମକର ଭାର୍ଯ୍ୟାଗଣ, ତୁମ୍ଭେମାନେ ମୋʼ ବାକ୍ୟରେ କର୍ଣ୍ଣପାତ କର; ମୁଁ ଆଘାତର ପରିଶୋଧରେ ଜଣେ ମନୁଷ୍ୟକୁ ଓ ପ୍ରହାରର ପରିଶୋଧରେ ଜଣେ ଯୁବାକୁ ବଧ କରିଅଛି; |
|
| 24 |
|
| ଯେବେ କୟିନର ବଧର ପ୍ରତିଫଳ ସାତଗୁଣ ହୁଏ, ତେବେ ଲେମକର ପ୍ରତିଫଳ ସତସ୍ତରି ଗୁଣ ନିଶ୍ଚୟ ହେବ । |
|
| 25 |
|
| ଏଥିଉତ୍ତାରୁ ଆଦମ ପୁନଶ୍ଚ ଆପଣା ଭାର୍ଯ୍ୟାଙ୍କର ସହବାସ କରନ୍ତେ, ସେ ଏକ ପୁତ୍ର ପ୍ରସବ କରି ତାହାର ନାମ ଶେଥ (ଅର୍ଥାତ୍ ପ୍ରନିନିଧି) ଦେଲେ; ଯେହେତୁ ସେ କହିଲେ, ପରମେଶ୍ଵର ହେବଲର ପ୍ରତିନିଧି ରୂପେ ଆଉ ଗୋଟିଏ ପୁତ୍ର ମୋତେ ଦେଇଅଛନ୍ତି, କାରଣ କୟିନ ତାକୁ ବଧ କରିଥିଲା । |
|
| 26 |
|
| ତହୁଁ ଶେଥର ମଧ୍ୟ ଏକ ପୁତ୍ର ଜନ୍ମିଲା; ଆଉ ସେ ତାହାର ନାମ ଈନୋଶ ଦେଲା । ଏହି ସମୟରେ ମନୁଷ୍ୟମାନେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବାକୁ ଲାଗିଲେ । |
|
|
|
|