|
| 1 |
|
| ଅନନ୍ତର ସଦାପ୍ରଭୁ ନୋହଙ୍କୁ କହିଲେ, ତୁମ୍ଭେ ସପରିବାରରେ ଜାହାଜରେ ପ୍ରବେଶ କର; କାରଣ ଏହି କାଳର ଲୋକମାନଙ୍କ ମଧ୍ୟରେ ଆମ୍ଭେ ଆପଣା ସାକ୍ଷାତରେ ତୁମ୍ଭକୁ ଧାର୍ମିକ ଦେଖିଅଛୁ । |
|
| 2 |
|
| ଆଉ ପୃଥିବୀରେ ବଂଶ ରକ୍ଷା କରିବା ପାଇଁ ପ୍ରତ୍ୟେକ ଶୁଚି ପଶୁଜାତିର ସାତ ସାତ ଦମ୍ପତି ଓ ପ୍ରତ୍ୟେକ ଅଶୁଚି ପଶୁଜାତିର ଏକ ଏକ ଦମ୍ପତି; |
|
| 3 |
|
| ପ୍ରତ୍ୟେକ ଖେଚର ପକ୍ଷୀଜାତିର ସାତ ସାତ ଦମ୍ପତି ଆପଣା ସଙ୍ଗରେ ନିଅ । |
|
| 4 |
|
| ଯେହେତୁ ସାତ ଦିନ ଉତ୍ତାରେ ଆମ୍ଭେ ଚାଳିଶ ଦିବାରାତ୍ର ପୃଥିବୀରେ ବୃଷ୍ଟି କରାଇ ପୃଥିବୀସ୍ଥିତ ଆମ୍ଭର ନିର୍ମିତ ସମସ୍ତ ପ୍ରାଣୀଙ୍କି ଲୁପ୍ତ କରିବା । |
|
| 5 |
|
| ନୋହ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସବୁ କର୍ମ କଲେ । |
|
| 6 |
|
| ନୋହଙ୍କର ଛଅଶହ ବର୍ଷ ବୟସରେ ପୃଥିବୀ ଉପରେ ଜଳପ୍ଳାବନ ହେଲା । |
|
| 7 |
|
| ତହୁଁ ଜଳପ୍ଳାବନ ଅପେକ୍ଷାରେ ନୋହ ଓ ତାଙ୍କର ଭାର୍ଯ୍ୟା ଆଉ ପୁତ୍ରଗଣ ଓ ପୁତ୍ରବଧୂଗଣ ଜାହାଜରେ ପ୍ରବେଶ କଲେ । |
|
| 8 |
|
| ପୁଣି ନୋହଙ୍କ ପ୍ରତି ପରମେଶ୍ଵରଙ୍କ ଆଜ୍ଞାନୁସାରେ ଶୁଚି ଓ ଅଶୁଚି ପଶୁପକ୍ଷୀବର୍ଗ ଓ ଭୂଚର ଉରୋଗାମୀ ଜନ୍ତୁବର୍ଗ ଯୋଡ଼ା ଯୋଡ଼ା ହୋଇ |
|
| 9 |
|
| ନୋହଙ୍କ ନିକଟକୁ ଯାଇ ଜାହାଜରେ ପ୍ରବେଶ କଲେ । |
|
| 10 |
|
| ଆଉ ସେହି ସାତ ଦିନ ଉତ୍ତାରେ ପୃଥିବୀରେ ଜଳପ୍ଳାବନର ଆରମ୍ଭ ହେଲା । |
|
| 11 |
|
| ନୋହଙ୍କର ବୟସର ଛଅଶହ ବର୍ଷ ଦ୍ଵିତୀୟ ମାସର ସପ୍ତଦଶ ଦିନରେ ମହା ସମୁଦ୍ରର ସମସ୍ତ ଜଳାକର ଭାଙ୍ଗିଗଲା, ପୁଣି ଆକାଶସ୍ଥ ଦ୍ଵାର ସବୁ ମୁକ୍ତ ହେଲା । |
|
| 12 |
|
| ତହିଁରେ ଚାଳିଶ ଦିବାରାତ୍ର ପୃଥିବୀରେ ବୃଷ୍ଟି ହେଲା । |
|
| 13 |
|
| ସେହି ଦିନରେ ନୋହ, ପୁଣି ଶେମ ଓ ହାମ ଓ ଯେଫତ୍ ନାମକ ନୋହଙ୍କର ପୁତ୍ରମାନେ, ଆଉ ସେମାନଙ୍କ ସହିତ ନୋହଙ୍କର ଭାର୍ଯ୍ୟା ଓ ତିନି ପୁତ୍ରବଧୂ ଜାହାଜରେ ପ୍ରବେଶ କଲେ । |
|
| 14 |
|
| ପୁଣି ସବୁ ଜାତୀୟ ଗ୍ରାମ୍ୟ ଓ ବନ୍ୟପଶୁ ଓ ସବୁ ଜାତୀୟ ଉରୋଗାମୀ ଓ ସବୁ ଜାତୀୟ ଭୂଚର ଓ ଖେଚର ପକ୍ଷୀ; |
|
| 15 |
|
| ଅର୍ଥାତ୍, ପ୍ରାଣବାୟୁବିଶିଷ୍ଟ ସର୍ବପ୍ରକାର ଜୀବଜନ୍ତୁ ଯୋଡ଼ା ଯୋଡ଼ା ହୋଇ ନୋହଙ୍କ ନିକଟକୁ ଯାଇ ଜାହାଜରେ ପ୍ରବେଶ କଲେ । |
|
| 16 |
|
| ପରମେଶ୍ଵରଙ୍କ ଆଜ୍ଞାନୁସାରେ ସର୍ବପ୍ରକାର ପ୍ରାଣୀ ଦମ୍ପତିକ୍ରମେ ପ୍ରବେଶ କଲେ; ତହୁଁ ସଦାପ୍ରଭୁ ତାହାର ପାର୍ଶ୍ଵ-ଦ୍ଵାର ବନ୍ଦ କଲେ । |
|
| 17 |
|
| ଅନନ୍ତର ଚାଳିଶ ଦିନ ପର୍ଯ୍ୟନ୍ତ ପୃଥିବୀରେ ଜଳପ୍ଳାବନ ହେଲା; ପୁଣି ଜଳ ବଢ଼ୁ ବଢ଼ୁ ଜାହାଜ ଭୂମିକି ଛାଡ଼ି ଭାସି ଉଠିଲା । |
|
| 18 |
|
| ଆଉ ପୃଥିବୀରେ କ୍ରମଶଃ ଜଳ ପ୍ରବଳ ହୋଇ ଅତିଶୟ ବଢ଼ୁ ବଢ଼ୁ ଜାହାଜ ଜଳ ଉପରେ ଚାଲିଲା । |
|
| 19 |
|
| ପୃଥିବୀ ଉପରେ ଜଳ ଅତିଶୟ ବଢ଼ି ଆକାଶ ତଳସ୍ଥ ସବୁ ଉଚ୍ଚ ପର୍ବତ ମଗ୍ନ କଲା । |
|
| 20 |
|
| ତହିଁ ଉପରେ ପନ୍ଦର ହାତ ପର୍ଯ୍ୟନ୍ତ ଜଳ ଉଠିଲା; ତହୁଁ ପର୍ବତମାନ ମଗ୍ନ ହେଲେ । |
|
| 21 |
|
| ତେଣୁ ସମଗ୍ର ଭୂଚର ପ୍ରାଣୀ ପ୍ରାଣତ୍ୟାଗ କଲେ, ଅର୍ଥାତ୍, ପକ୍ଷୀ, ଗ୍ରାମ୍ୟ ଓ ବନ୍ୟପଶୁ ଓ ପୃଥିବୀରେ ଗମନଶୀଳ ଉରୋଗାମୀ ଜନ୍ତୁ ଓ ପ୍ରତ୍ୟେକ ମନୁଷ୍ୟ, |
|
| 22 |
|
| ଆଉ ଶୁଷ୍କଭୂମିସ୍ଥ ଯେତେ ପ୍ରାଣୀର ନାସିକାରେ ପ୍ରାଣବାୟୁ ଥିଲା, ସମସ୍ତେ ମଲେ । |
|
| 23 |
|
| ଏହିରୂପେ ପୃଥିବୀର ଉପରିସ୍ଥ ସମୁଦାୟ ପ୍ରାଣୀ ଲୁପ୍ତ ହେଲେ, ଅର୍ଥାତ୍, ମନୁଷ୍ୟ, ପଶୁ, ଉରୋଗାମୀ ଜନ୍ତୁ, ଖେଚର ପକ୍ଷୀ, ସମସ୍ତେ ପୃଥିବୀରୁ ଲୁପ୍ତ ହେଲେ; କେବଳ ନୋହ ଓ ଜାହାଜସ୍ଥ ତାଙ୍କର ସଙ୍ଗୀ ସମସ୍ତେ ବଞ୍ଚିଲେ । |
|
| 24 |
|
| ଏହିରୂପେ ପୃଥିବୀ ଏକଶହ ପଚାଶ ଦିନ ପର୍ଯ୍ୟନ୍ତ ଜଳରେ ବୁଡ଼ି ରହିଲା । |
|
|
|
|