|
| 1 |
|
| ପୁନର୍ବାର ଦିନକରେ ପରମେଶ୍ୱରଙ୍କ ସନ୍ତାନଗଣ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବାକୁ ଆସନ୍ତେ, ଶୟତାନ ମଧ୍ୟ ସେମାନଙ୍କ ମଧ୍ୟରେ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବା ପାଇଁ ଆସିଲା। |
|
| 2 |
|
| ଏଥିରେ ସଦାପ୍ରଭୁ ଶୟତାନକୁ ପଚାରିଲେ, “ତୁମ୍ଭେ କେଉଁଠାରୁ ଆସିଲ?” ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, “ପୃଥିବୀରେ ଏଣେତେଣେ ଭ୍ରମଣ ଓ ତହିଁ ମଧ୍ୟରେ ଗମନାଗମନ କରି କରି ଆସିଲି।” |
|
| 3 |
|
| ତହୁଁ ସଦାପ୍ରଭୁ ଶୟତାନକୁ ପଚାରିଲେ, “ତୁମ୍ଭେ କି ଆମ୍ଭ ଦାସ ଆୟୁବ ପ୍ରତି ଧ୍ୟାନ ଦେଇଅଛ? କାରଣ ତାହାର ସମାନ ସିଦ୍ଧ ଓ ସରଳ, ପରମେଶ୍ୱର-ଭୟକାରୀ ଓ କୁକ୍ରିୟାତ୍ୟାଗୀ ଲୋକ ପୃଥିବୀରେ କେହି ନାହିଁ; ପୁଣି, ଅକାରଣରେ ତାହାକୁ ନାଶ କରିବା ପାଇଁ ତୁମ୍ଭେ ତାହା ବିରୁଦ୍ଧରେ ଆମ୍ଭକୁ ପ୍ରବର୍ତ୍ତାଇଲେ ହେଁ ସେ ଏପର୍ଯ୍ୟନ୍ତ ଆପଣା ସରଳତା ଦୃଢ଼ କରି ଧରିଅଛି।” |
|
| 4 |
|
| ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, “ଚର୍ମ ନିମନ୍ତେ ଚର୍ମ, ଆପଣା ପ୍ରାଣ ନିମନ୍ତେ ମନୁଷ୍ୟ ସର୍ବସ୍ୱ ଦେବ। |
|
| 5 |
|
| ମାତ୍ର ତୁମ୍ଭେ ଏବେ ହସ୍ତ ବଢ଼ାଇ ତାହାର ଅସ୍ଥି ଓ ମାଂସକୁ ଆଘାତ କର, ତହିଁରେ ସେ ତୁମ୍ଭ ମୁଖ ଆଗରେ ତୁମ୍ଭକୁ ପରିତ୍ୟାଗ କରିବ।” |
|
| 6 |
|
| ତହିଁରେ ସଦାପ୍ରଭୁ ଶୟତାନକୁ କହିଲେ, “ଦେଖ, ସେ ତୁମ୍ଭର ହସ୍ତଗତ, କେବଳ ତାହାର ପ୍ରାଣ ରକ୍ଷା କର।” |
|
| 7 |
|
| ଏଉତ୍ତାରେ ଶୟତାନ ସଦାପ୍ରଭୁଙ୍କ ଛାମୁରୁ ବାହାରିଯାଇ ଆୟୁବର ତଳିପାରୁ ମସ୍ତକ ପର୍ଯ୍ୟନ୍ତ ଯନ୍ତ୍ରଣାଦାୟକ ଘାଆରେ ତାହାକୁ ଆଘାତ କଲା। |
|
| 8 |
|
| ଏଣୁ ସେ ସର୍ବାଙ୍ଗ କୁଣ୍ଡାଇବା ପାଇଁ ଖଣ୍ଡେ ଖପରା ନେଲା ଓ ସେ ଭସ୍ମ ମଧ୍ୟରେ ବସିଲା । |
|
| 9 |
|
| ତହିଁରେ ତାହାର ଭାର୍ଯ୍ୟା ତାହାକୁ କହିଲା, “ତୁମ୍ଭେ କି ଏପର୍ଯ୍ୟନ୍ତ ଆପଣାର ସରଳତା ଦୃଢ଼ କରି ଧରୁଅଛ? ପରମେଶ୍ୱରଙ୍କୁ ପରିତ୍ୟାଗ କରି ମର।” |
|
| 10 |
|
| ସେ ତାହାକୁ କହିଲା, “ତୁମ୍ଭେ ଏକ ମୂଢ଼ା ସ୍ତ୍ରୀ ପରି କଥା କହୁଅଛ, ଆମ୍ଭେମାନେ କି ପରମେଶ୍ୱରଙ୍କ ହସ୍ତରୁ ମଙ୍ଗଳ ଗ୍ରହଣ କରିବା ଆଉ, ଅମଙ୍ଗଳ କʼଣ ଗ୍ରହଣ କରିବା ନାହିଁ?” ଏହିସବୁରେ ଆୟୁବ ଆପଣା ଓଷ୍ଠରେ ପାପ କଲା ନାହିଁ। |
|
| 11 |
|
| ଆୟୁବ ପ୍ରତି ଘଟିତ ଏହିସବୁ ବିପଦର କଥା ତୈମନୀୟ ଇଲୀଫସ୍ ଓ ଶୂହୀୟ ବିଲ୍ଦଦ୍ ଓ ନାମାଥୀୟ ସୋଫର ନାମରେ ତାହାର ଏହି ତିନି ମିତ୍ର ଶୁଣି ସ୍ୱ ସ୍ୱ ସ୍ଥାନରୁ ଆସିଲେ; ପୁଣି, ସେମାନେ ତାହା ସଙ୍ଗେ ଶୋକ କରିବା ପାଇଁ ଓ ତାହାକୁ ସାନ୍ତ୍ୱନା କରିବା ପାଇଁ ଆସିବାକୁ ଏକତ୍ର ସ୍ଥିର କଲେ। |
|
| 12 |
|
| ଏଉତ୍ତାରେ ସେମାନେ ଦୂରରୁ ଅନାଇ ତାହାକୁ ଚିହ୍ନି ନ ପାରି ଉଚ୍ଚସ୍ୱରରେ ରୋଦନ କଲେ; ଆଉ, ସେମାନେ ପ୍ରତ୍ୟେକେ ଆପଣା ଆପଣା ବସ୍ତ୍ର ଚିରି ଆକାଶ ଆଡ଼େ ଆପଣା ଆପଣା ମସ୍ତକ ଉପରେ ଧୂଳି ବିଞ୍ଚିଲେ। |
|
| 13 |
|
| ତହୁଁ ସେମାନେ ସାତ ଦିନ ଓ ସାତ ରାତ୍ରି ତାହା ସଙ୍ଗେ ଭୂମିରେ ବସିଲେ, କେହି ତାହାକୁ କିଛି କହିଲେ ନାହିଁ; କାରଣ ସେମାନେ ତାହାର ଯାତନା ଅତି ବଡ଼ ବୋଲି ଦେଖିଲେ। |
|
|
|
|